Cyclone meeting : ଓଡିଶାକୁ ବାତ୍ୟା ଭୟ ! ସତର୍କ କରାଇଲା ଆମେରିକୀୟ ମଡେଲ
Advertisement
Article Detail0/zeeodisha/odisha1389105

Cyclone meeting : ଓଡିଶାକୁ ବାତ୍ୟା ଭୟ ! ସତର୍କ କରାଇଲା ଆମେରିକୀୟ ମଡେଲ

Cyclone meeting: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ଅପରାହ୍ନ ୧ଟାରେ ଲୋକସେବା ଭବନ କନଫରେନ୍ସ ହଲରେ ଆଲୋଚନା ହୋଇଛି ।  ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।

 Cyclone meeting : ଓଡିଶାକୁ ବାତ୍ୟା ଭୟ ! ସତର୍କ କରାଇଲା ଆମେରିକୀୟ ମଡେଲ

Cyclone Meeting: ଅକ୍ଟୋବରରେ ଓଡିଶାକୁ ବାତ୍ୟା ଭୟ । ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ଅପରାହ୍ନ ୧ଟାରେ ଲୋକସେବା ଭବନ କନଫରେନ୍ସ ହଲରେ ଆଲୋଚନା ହୋଇଛି ।  ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ସେହିପରି SRC, ଅଗ୍ନିଶମ ଡିଜିଙ୍କ ସମେତ ବୈଠକରେ ଭାରତୀୟ ପାଣିପାଗ କେନ୍ଦ୍ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସାମିଲ ହୋଇଥିଲେ  । ସମ୍ଭାବ୍ୟ ବାତ୍ୟା ନେଇ ଆକଳନ କରିଛି ଆମେରିକୀୟ ମଡେଲ ଜିଏଫ୍ଏସ । ଆସନ୍ତା ୧୭ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ  । ପରେ ଏହା ଅଧିକ ଘନୀଭୂତ ହୋଇ ୨୨ କିମ୍ବା ୨୩ ତାରିଖ ବେଳକୁ ବାତ୍ୟାର ରୂପ ନେବା ବୋଲି ଆମେରିକାର ମଡେଲ ଜିଏଫଏସ ଆକଳନ କରିଛି । ତେବେ ବାତ୍ୟା ନେଇ ପାଗ ଅନୁକୂଳ ରହିଛି ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ । ଓଡ଼ିଶାର ଭୌଗଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟା ପ୍ରବଣ ହୋଇ ରହିଛି । ଚଳିତ ମାସ ଠାରୁ ଫେରନ୍ତା ଦକ୍ଷିଣ ପଶ୍ଚିମ ମୌସୁମୀ-ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସରେ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ । ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର “ବାତ୍ୟା ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସମ୍ପକ୍ତ ବିଭାଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି” । ନିର୍ଦ୍ଧାରିତ ଏସଓପି ଅନୁସାରେ ଆବଶ୍ୟକୀୟ ପଦାର୍ଥ, ଯନ୍ତ୍ରପାତି, ଉପକରଣ ଏବଂ ମାନବ ସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେ ସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।  ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି  ଏହି ନିର୍ଦ୍ଦେଶ ଦେଇଛନ୍ତି ।ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସମ୍ଭ୍ୟାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ବିଭିନ୍ନ ଦିଗ ନେଇ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ । ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍.ଆର.ବିଶ୍ୱାସ ଜଣାଇଥିଲେ ଯେ ଓଡ଼ିଶାର ବର୍ତ୍ତମାନ ଜଳବାୟୁସ୍ଥିତି ବାତ୍ୟା ଅନୁକୂଳ ରହିଛି। ହେଲେ ଆସନ୍ତା ୧୫ ଦିନ ଭିତରେ ବାତ୍ୟାର ସୂଚନା ମିଳିନାହିଁ ।

ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ ଇତିମଧ୍ୟରେ ଓଡ଼ିଶାରେ ବାତ୍ୟାର ପୂର୍ବାନୁମାନ ଏବଂ ଆଗୁଆ ସତର୍କ ସୂଚନା ପ୍ରସାରଣ ଭିତ୍ତିଭୂମିକୁ ସୁଦୃଢ କରାଯାଇଛି । ଜିଲ୍ଲା ଓ ଅଞ୍ଚଳଭିତ୍ତିକ ପାଣିପାଗ ସୂଚନା ଦିଆଯାଉଛି । ଏକ ବାତ୍ୟାର ପ୍ରଭାବ ଭିତ୍ତିକ ପୂର୍ବାନୁମାନ ବ୍ୟବସ୍ଥା କରାଯାଇଛି । ଗୋପାଳପୁର ଓ ପାରାଦ୍ୱୀପଠାରେ ଡପଲର ପାଣିପାଗ ରାଡାର ଷ୍ଟେସନ ସହ ବାଲେଶ୍ୱର, ଚାନ୍ଦବାଲି, ପୁରୀ, ଭୁବନେଶ୍ୱର, ଗୋପାଳପୁର ଏବଂ ପାରାଦ୍ୱୀପ ଆଦି ସ୍ଥାନରେ ଉଚ୍ଚକ୍ଷମତା ସମ୍ପନ୍ନ ବାୟୁଗତି ପରିମାପକ ଯନ୍ତ୍ରମାନ ( ହାଇ ଓ୍ୱିଣ୍ଡ୍ ସ୍ପିଡ୍ ରେକର୍ଡର)   ସ୍ଥାପନ କରାଯାଇଛି । ଏହି ଯନ୍ତ୍ର ଘଣ୍ଟା ପ୍ରତି ପ୍ରାୟ ୩୦୦ କି.ମି. ପବନ ସ୍ଥିତିରେ ମଧ୍ୟ କାର୍ଯ୍ୟକରିପାରିବ । ଏସବୁ ଆଧୂନିକ ଭିତ୍ତିଭୂମି ସ୍ଥିତିର ପର୍ଯ୍ୟବେକ୍ଷଣ କରିବାସହ ପାଗ ପୂର୍ବାନୁମାନ ଅନୁଶୀଳନରେ ସହାୟକ ହେଉଛି । ବାତ୍ୟାରେ ଟେଲିଫୋନ୍ ଏବଂ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଅଧିକ  କ୍ଷତିଗ୍ରସ୍ତ ହେଉଥିବାରୁ ମୋବାଇଲ୍ ଟେଲିକମ୍-ଟାଓ୍ୱାର,ସାଟେଲାଇଟ୍ ଫୋନ୍, ଜେନେରେଟର ଓ ବିଦ୍ୟୁତ ଖୁଣ୍ଟ ଏବଂ ଯଥେଷ୍ଟ ସଂଖକ ମାନବ ସମ୍ବଳ ପ୍ରସ୍ତୁତ ରହିବାକୁ  ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । 

ଏହାଛଡା ପାନୀୟ ଜଳ ପାଇଁ ଗ୍ରାମ ଓ ସହରାଞ୍ଚଳରେ ଥିବା ହ୍ୟାଣ୍ଡ ପମ୍ପ ଗୁଡିକୁ କାର୍ଯ୍ୟକ୍ଷମ ରଖିବା ସହ ବାତ୍ୟା ଅତିକ୍ରାନ୍ତ ହେବା ସଙ୍ଗେ ସଙ୍ଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କାର୍ଯ୍ୟକ୍ଷମ କରିବାକୁ ପୂର୍ଣ୍ଣ ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ  ଦେଇଛନ୍ତି । ଯଥେଷ୍ଟ ପରିମାଣର ବ୍ଲିଚିଂ, ହେଲୋଜେନ୍ ବଟିକା, ଔଷଧ, ଆମ୍ବୁଲାନ୍ସ୍ ଏବଂ ଡ଼ାକ୍ତରୀ ଟିମ୍ ଆଦି  ବିଷୟରେ ପୂର୍ବ ପ୍ରସ୍ତୁତି କରିବାକୁ କୁହାଯାଇଛି । ଓଡ଼୍ରାଫ୍ ଏବଂ ଅଗ୍ନିଶମ ବିଭାଗ ସମସ୍ତ ଉପକରଣକୁ  ସଠିକ୍ ଭାବେ ଯାଞ୍ଚ୍ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ହୋଇଛି। ବାତ୍ୟା ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମ ଗୁଡିକରେ ବାତ୍ୟା ପ୍ରସ୍ତୁତି ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ସହ ଆସନ୍ନ ପ୍ରସବ, ବୟସ୍କ, ଦିବ୍ୟାଙ୍ଗ, ଅସହାୟମାନଙ୍କର ତାଲିକା ପ୍ରସ୍ତୁତ ରଖିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗକୁ କୁହାଯାଉଛି । ଆବଶ୍ୟକ ବେଳେ ନିରାପଦ ସ୍ଥାନକୁ ସହାୟତା-ଭିତ୍ତିକ ସ୍ଥାନାନ୍ତର କରିବାରେ ଏହି ତାଲିକା ବହୁ ପରିମାଣରେ ଫଳପ୍ରଦ ହେବ ।

ତୁରନ୍ତ ଗମନା ଗମନ ସୁବିଧାର ପୁନଃ ସ୍ଥାପନ, ରାସ୍ତା ଓ ନଦୀବନ୍ଧ ମରାମତି, ବାତ୍ୟା ସମୟରେ ଲୁଣାଘେରି ବନ୍ଧର ସୁରକ୍ଷା, ପାନୀୟ ଜଳ, ସହରାଞ୍ଚଳରେ ଉଦ୍ବୃତ ବର୍ଷା ଜଳ ନିଷ୍କାସନ, ହସ୍ପିଟାଲ୍ ଗୁଡିକରେ ବିକଳ୍ପ ବିଦ୍ୟୁତ ବ୍ୟବସ୍ଥା, ଗୋ ଖାଦ୍ୟ ଯୋଗାଣ, ପରିମଳ ବ୍ୟବସ୍ଥା ପାଇଁ କଣ୍ଟିଜେଣ୍ଟ୍ ପ୍ଲାନ୍ ସହ ଆବଶ୍ୟକୀୟ ସାମଗ୍ରୀ ଓ ମାନବ ସମ୍ବଳ, କୃଷକମାନଙ୍କୁ ଉପଯୁକ୍ତ ପରାମର୍ଶ ଓ ସୂଚନା ପ୍ରଦାନ, ଧାନ-କିଣା ମଣ୍ଡିରେ ସଂଗୃହିତ ଧାନର ସୁରକ୍ଷା ଓ ପରିବହନ ଆଦି କାମ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ  ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।  ନାଭାଲ୍, ଆର୍ମି, କୋଷ୍ଟଗାର୍ଡ଼ ଓ ଭାରତୀୟ ପାଣିପାଗ ବିଭାଗ ଆଦିର ବରିଷ୍ଠ ଅଧିକାରୀମାନେ  ମଧ୍ୟ ବୈଠକରେ ନିଜ ନିଜ ବିଭାଗର ପ୍ରସ୍ତୁତି ଓ ଆବଶ୍ୟକତା ସଂପର୍କିତ ସୂଚନା ଦେଇଥିଲେ ।