ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ ତେଣୁ ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷର ଯୁକ୍ତ ଦୁଇ ବୋର୍ଡ ପରୀକ୍ଷାକୁ ବାତିଲ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
Trending Photos
ଭୁବନେଶ୍ୱର: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଲା। ପୂର୍ବରୁ ନିଷ୍ପତ୍ତି ହୋଇଛିବାବେଳେ ଆଜି ଯୁକ୍ତ ଦୁଇ ବୋର୍ଡ ପରୀକ୍ଷାକୁ ବାତିଲ କରାଯାଇଛି। ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ ତେଣୁ ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷର ଯୁକ୍ତ ଦୁଇ ବୋର୍ଡ ପରୀକ୍ଷାକୁ ବାତିଲ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ସାରା ଦେଶରେ କୋଭିଡ (Covid19) ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି। ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା। କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷା (Plus Two Exam) କୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
Also Read: କେବେ ପଡିବ ପୂର୍ଣ୍ଣଚ୍ଛେଦ, ବାତିଲ୍ ହେବ ନା ପରୀକ୍ଷା ହେବ!
ମୁଖ୍ୟମନ୍ତ୍ରୀ (Naveen Patnaik) କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ। ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ। ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ। ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ। ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ, ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି। ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
Also Read: ମନ୍ତ୍ରୀ ସମୀର ଦାଶ ଓ ଛାତ୍ରୀଙ୍କ ଅଡି଼ଓ ଭାଇରାଲ୍
ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ। ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବହୁଦିନ ପୂର୍ବରୁ ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ନେଇ ନିଷ୍ପତ୍ତି ନେଇ ଥିଲେ, ତେବେ ଘୋଷଣା କରିବାକୁ ଏତେ ବିଳମ୍ବ କାହିଁକି ବୋଲି ଗଣଶିକ୍ଷା ମନ୍ତ୍ରୀଙ୍କ ଅଡିଓ ଭାଇରାଲ ପରେ ସାଧାରଣରେ ପ୍ରଶ୍ନ ଉଠୁଛି।