Odisha Govt: ଦୁର୍ନୀତିଗ୍ରସ୍ତ ୧୪ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ବଡ଼ କାର୍ଯ୍ୟାନୁଷ୍ଠାନ
Advertisement
Article Detail0/zeeodisha/odisha1420451

Odisha Govt: ଦୁର୍ନୀତିଗ୍ରସ୍ତ ୧୪ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ବଡ଼ କାର୍ଯ୍ୟାନୁଷ୍ଠାନ

Naveen Patnaik Takes Action Against 14 corrupt Officers: ଏହି କାର୍ଯ୍ୟାନୁଷ୍ଠାନରେ ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନ୍ସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ସାମିଲ ଅଛନ୍ତି ।

ସୌ: ସୋସିଆଲ ମିଡିଆ

Odisha Govt Takes Action Against 14 corrupt Officers: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଓ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏଥିରେ ୪ ଜଣଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିବା ବେଳେ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଓ  ଅନ୍ୟ ୬ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି । ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା - ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ । ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । 5T ଓ ମୋ  ସରକାର ଉପକ୍ରମ ଜରିଆରେ  ମିଳିଥିବା ମତାମତ ଭିତ୍ତିରେ ଏହି କଠୋର ପଦକ୍ଷେପ  ନିଆଯାଇଛି । 

>> କଟକ ପି.ଏଚ.ଡିଭିଜନର ସୁପରିଟେଣ୍ଡିଂ ଇଞ୍ଜିନିୟର ନବକିଶୋର ସାମଲଙ୍କ ନାମରେ ଟେଣ୍ଡର ଓ ଚୁକ୍ତି ପରିଚାଳନା ପ୍ରକ୍ରିୟାରେ ଅନିୟମିତତା ଓ ନିଜ ପଦବୀର ଅପବ୍ୟବହାର ଆଦି ଗୁରୁତର ଅଭିଯୋଗ ଥିଲା । ତାଙ୍କୁ ପୂର୍ବରୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବର୍ତ୍ତମାନ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

>>  କୋରାପୁଟ ଲମତାପୁଟ ବ୍ଲକ୍‌ର ପୂର୍ବତନ ସିଡିପିଓ ସ୍ବର୍ଣ୍ଣଭା ଦାସଙ୍କ ନାମରେ ଲାଞ୍ଚ ଗ୍ରହଣ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

>> ବୌଦ ଜିଲ୍ଲା କଣ୍ଟାମାଳ ବ୍ଲକ୍ର ପୂର୍ବତନ ବିଡିଓ ଦାମୋଦର ମହାଲିକ ଏକ ଲାଞ୍ଚ ଗ୍ରହଣ ତଥା ନିଜ ପଦବୀର ଅପବ୍ୟବହାର ଆଦି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। 

>> ନୟାଗଡ ଖଣ୍ଡପଡା ତହସିଲର ପୂର୍ବତନ ତହସିଲଦାର ପଞ୍ଚାନନ ବାରିକ ଗୋଟିଏ ଲାଞ୍ଚ ଗ୍ରହଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।  ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି ।

>> ଢେଙ୍କାନାଳ IUCAWର (ମହିଳା ମାନଙ୍କ ଉପରେ ଅପରାଧ ଘଟଣାର ତଦନ୍ତ କରୁଥିବା ୟୁନିଟ) ପୂର୍ବତନ ଡିଏସ୍‌ପି  ଶ୍ରୀ ମଳୟ କିଶୋର ନାୟକଙ୍କ ନାମରେ ଲାଞ୍ଚ ଗ୍ରହଣର ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ତାଙ୍କ ନାମର ଦୁଇଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ମଧ୍ୟ ଆରମ୍ଭ କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

>> ଗଜପତି ଜିଲ୍ଲା ମୋହନା ବ୍ଲକ୍ର ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ପ୍ରକାଶ ଚନ୍ଦ୍ର ପାତ୍ର ଆୟ ବହିର୍ଭୁତ ସଂପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।  ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। 

>> କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ୍‌ର ପୂର୍ବତନ ଜୁନିଅର ଇଞ୍ଜିନିୟର ତଥା ବର୍ତ୍ତମାନ ଦଶମନ୍ତପୁର ବ୍ଲକ୍‌ର ଜୁନିଅର ଇଞ୍ଜିନିୟର  ଶ୍ରୀ ମନୋଜ କୁମାର ବେଉରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।  ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

>> ନ୍ଦରଗଡ ମ୍ୟୁନିସ୍ପାଲଟିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଜୟନ୍ତ ନାରାୟଣ ପଣ୍ଡାଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ।

>> ଢେଙ୍କାନାଳ RWSS Divisionର ପୂର୍ବତନ ଆସିଷ୍ଟାଣ୍ଟ ଇଞ୍ଜିନିୟର ପ୍ରସନ୍ନ କୁମାର ପାଣି।  ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲାରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି।   ଅସାଧୁତା  କାରଣରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥଗିତ ରଖାଯାଇଛି। 

>> କୋରାପୁଟ ନନ୍ଦପୁର ବ୍ଲକ୍‌ର ଦାୟିତ୍ବରେ ଥିବା ପୂର୍ବତନ ଜୁନିଅର ଇଞ୍ଜିନିୟର ଦୁଷ୍ମନ୍ତ କୁମାର ନାୟକ ସରକାରୀ ଅର୍ଥ ଆତ୍ମସାତ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।   ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। 

>> ସେହିପରି ଭୁବନେଶ୍ବର ଓବିସିସିର ପୂର୍ବତନ ସିନିଅର ମ୍ୟାନେଜର(ଟେଣ୍ଡର) ସୋମନାଥ ପଣ୍ଡା ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।  ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। 

>> ଭୁବନେଶ୍ବର ଆଇଆରସି ଭିଲେଜ ମେଣ୍ଟେନାନ୍‌ସ ସେକ୍‌ସନର ପୂର୍ବତନ ଜୁନିଅର ଇଞ୍ଜିନିୟର କୁଞ୍ଜବିହାରୀ ମହାପାତ୍ରଙ୍କ ନାମରେ ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। 

>> ତାଳଚେର ମ୍ୟୁନିସପାଲ୍ଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର କ୍ଷୀରୋଧ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

>> ବୌଦ୍ଧ ଫରେଷ୍ଟ ଡିଭିଜନର ପୂର୍ବତନ ରେଞ୍ଜ ଅଫିସର ତଥା ବର୍ତ୍ତମାନ ସୁନ୍ଦରଗଡ ବଡଗାଁ ରେଞ୍ଜରେ ଅବସ୍ଥାପିତ ଫରେଷ୍ଟ ରେଞ୍ଜର ଦିଲ୍ଲିପ କୁମାର ଦିଗଲ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି । ଅସାଧୁତା ତଥା ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି ।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।