Mohan Charan Majhi: ଭୁବନେଶ୍ୱର: ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଭରତପୁର ଥାନା ଘଟଣାର ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି । ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ (Court Monitored Investigation) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।


COMMERCIAL BREAK
SCROLL TO CONTINUE READING

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି। ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି । ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି। ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀ ମାନଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ୍‌ ମଧ୍ୟ କରାଯାଇଛି । ଘଟଣାରେ ସଂପୃକ୍ତ ଯୁବକ ମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦେଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି।


ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।


ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଆଜି ରାଜ୍ୟ ଅତିଥି ଭବନଠାରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ସେନା ଅଧିକାରୀ ଓ ତାଙ୍କର ମହିଳା ବନ୍ଧୁ ଆଲୋଚନା କରିଛନ୍ତି । ମହିଳାଙ୍କ ପିତା ଓ ଅନ୍ୟ ବରିଷ୍ଠ ସେବା ନିବୃତ ସେନା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।