Dev Deepawali In Jagannath Temple at Puri: ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ  ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି  ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ଅର୍ଥାତ ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ତେବେ ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି ।

 

 

ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ। ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି।

 

ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ହାତ ,ଶ୍ରୀବଳଭଦ୍ର ୧୪ ହାତ ଓ ଦେଵୀ ସୁଭଦ୍ରା ୧୨ ହାତ ଲମ୍ବ ବିଶିଷ୍ଟ  ସୂତାଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି।  ଶ୍ରାଦ୍ଧ ବେଶରେ ଠାକୁର ମାନେ  ତଡଗୀ,ନଳୀଭୂଜ,ଚନ୍ଦ୍ର,ସୂର୍ଯ୍ୟ, କୁଣ୍ଡଳୀ,ଆଡକାନି,ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ନ ଅଳଙ୍କାର ରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ତେବେ ଆଜି ସକାଳ  ୫.୧୩ରେ ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ସିଂହଦ୍ଵାର ଫିଟା ନିତି ସମ୍ପର୍ଣ୍ଣ ହେବା ସହ ଦୈନନ୍ଦିନ ନିତିକାନ୍ତି ଆଗକୁ ବଢିଛି। ଦର୍ଶନ ମଧ୍ୟ ବେଶ୍ ସୃଙ୍ଖଳିତ ରହିଛି।