Ex Minister Surendranath Nayak Passes Away: ଆଉ ନାହାଁନ୍ତି କାକଟପୁରର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ନାୟକ। ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଦିର୍ଘ ଦିନ ଧରି ସେ  ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ।  ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ।  ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।


COMMERCIAL BREAK
SCROLL TO CONTINUE READING

ସୂଚନାଯୋଗ୍ୟ ଯେ, ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ନାୟକ କାକଟପୁର ରାଜନୀତିରେ ଜଣେ ଲୋକପ୍ରିୟ ରାଜନେତା ଭାବେ ବେଶ୍ ପରିଚିତ ଥଲେ। ସେ କାକଟପୁରରୁ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। କୃଷି, ରାଜସ୍ବ ଓ ଶିକ୍ଷା ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ସେ ସରପଞ୍ଚ ଭାବେ ରାଜନୈତିକ ମଇଦାନକୁ ଓହ୍ଲାଇଥିଲେ। ୧୯୭୧ ମସିହାରେ ସେ ପ୍ରଥମେ ଉତ୍କଳ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।



ଏ-ହାପରେ ସେ ୧୯୭୭ ଏବଂ ୧୯୮୫ ମସିହାରେ ଜନତା ପାର୍ଟିରୁ ଟିକେଟ ପାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ପରେ ୧୯୯୦ ଜନତା ଦଳରେ , ୧୯୯୫ ଉପନିର୍ବାଚନରେ ଜନତା ଦଳ ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୨୦୦୦ ଏବଂ ୨୦୦୪ ମସିହାରେ ବିଜେଡି ଟିକେଟରେ ବିଧାନସଭା ନିର୍ବାଚନ ଲଢ଼ି କାକଟପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଥିସହ ବିଭିନ୍ନ ସମୟରେ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ସୁରେନ୍ଦ୍ର ନାୟକ। କେବଳ ସେତିକି ନୁହେଁ, ୧୯୭୭ ମସିହାରେ ସେ ବିଧାନସଭାରେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତେବେ, ଆମେ ଏଠାରେ ଆପଣଙ୍କୁ ଜଣାଇବାକୁ ଚାହିଁବୁ ଯେ, ସେ ୨୦୦୦ ମସିହାରେ ପଞ୍ଚାୟତରାଜ ମନ୍ତ୍ରୀ ଥିଲେ। ଏବଂ ୨୦୦୨ ମସିହାରେ ଗଣଶିକ୍ଷା ମନ୍ତ୍ରୀ ଓ ୨୦୦୪ରେ ସେ କୃଷିମନ୍ତ୍ରୀ ଭାବେ ଦାୟିତ୍ବରେ ଥିଲେ।