Puri News: ଆଜି କୃଷ୍ଣ ବଳରାମ ବେଶରେ ଦର୍ଶନ ଦେବେ ମହାପ୍ରଭୁ
Advertisement
Article Detail0/zeeodisha/odisha2407794

Puri News: ଆଜି କୃଷ୍ଣ ବଳରାମ ବେଶରେ ଦର୍ଶନ ଦେବେ ମହାପ୍ରଭୁ

Puri News: ଆଜି ଶନିବାର ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ। ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ।

Puri News: ଆଜି କୃଷ୍ଣ ବଳରାମ ବେଶରେ ଦର୍ଶନ ଦେବେ ମହାପ୍ରଭୁ
Puri News: ଆଜି ଶନିବାର ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ  କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ। ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ  ଓ ଶ୍ରୀବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ।ଦେବୀ  ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ।ଏହି ବେଶରେ ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଇଥାଏ।ସେହିପରି ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ଶୋଭାପାଇଥିବା ବେଳେ କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । 
 
ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି ଯାହାକି  କିରୀଟଯୁକ୍ତ ହୋଇଥାଏ। ଏହି ବେଶରେ ଶ୍ରୀପୟର, ପାଉଁଜି,ବାଙ୍କି,ପାହୁଡ଼, ଗୋଡ଼ମୁଦି, ମଲ୍ଲୀକଢ଼,ଚନ୍ଦ୍ର, ଚିତା,ନାକଚଣା,ହାତଫେର, ଖଡୁ ଇତ୍ୟାଦିରେ ସାରା ଶରୀର  ମହାପ୍ରଭୁଙ୍କ ଶୋଭା ପାଇଥାଏ।ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ, ଗୋପୀ, ବ୍ରହ୍ମା, ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଯାଏ । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି । 
 
ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ମହାପ୍ରଭୁଙ୍କୁ ଖିରି ଓ ଅମାଲୁ ଭୋଗ ଲାଗିହୁଏ। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଅଛି। ଗତକାଲି ଶ୍ରୀଜୀଉ ମାନଙ୍କର ଶ୍ରୀମନ୍ଦିରରେ ଦ୍ଵାଦଶୀ ତିଥିରେ ପରମ୍ପରା ଅନୁସାରେ ପ୍ରଳମ୍ବାସୁର ବଧ ବେଶ ସହ ନୀତି ଅନୁଷ୍ଠିତ ହୋଇଥିଲା