Dana Reizniece Ozola Meets Naveen Patnaik: ବୁଧବାର ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡ ଉପାଧ୍ୟକ୍ଷ ତଥା ଲାଟଭିଆ ଗଣରାଜ୍ୟର ପୂର୍ବତନ ଅର୍ଥ ଏବଂ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ସାକ୍ଷତକାର ସମୟରେ ଚେସ୍ କୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡ ଉପାଧ୍ୟକ୍ଷ ଡାନା ରିଜନିସ୍ ଓଜୋଲା।


COMMERCIAL BREAK
SCROLL TO CONTINUE READING

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡ ଉପାଧ୍ୟକ୍ଷ ଡାନା ରିଜନିସ୍ ଓଜୋଲା ଚେସ୍ କୁ ଏକ ବୌଦ୍ଧିକ କ୍ରୀଡ଼ା ଭାବରେ ଲୋକପ୍ରିୟ କରିବା ଏବଂ ଯୁବଗୋଷ୍ଠୀଙ୍କୁ ବୌଦ୍ଧିକ ତଥା ଭାବନାତ୍ମକ ଭାବେ ସଶକ୍ତ କରିବାର ଅନେକ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲେ। ଯୁବ ଚେସ୍ ପ୍ରତିଭାଙ୍କୁ ଚିହ୍ନଟ କରି ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଉତ୍କୃଷ୍ଟ ହେବା ପାଇଁ ଉପଯୁକ୍ତ ଭିତ୍ତିଭୂମି ସହ ପ୍ରଶିକ୍ଷଣ ପ୍ରଦାନ କରିବା ଉପରେ ବୈଠକରେ ଆଲୋକପାତ କରାଯାଇଥିଲା।



ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବପିଢ଼ିଙ୍କୁ ସର୍ବୋତ୍ତମ ସୁଯୋଗ ଯୋଗାଇ ଦେବା ପାଇଁ ଆମେ ପ୍ରତିଶୃତିବଦ୍ଧ। ଚେସ୍ ସେମାନଙ୍କ ଅଭିବୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ରାଜ୍ୟସ୍ତରୀୟ ଚେସ୍ ଏକାଡେମୀ- ପ୍ରୋ ଚେସ୍-ଟା, ଚେସ୍ ଇନ୍ ସ୍କୁଲ୍ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଥିବା ବେଳେ ରାଜ୍ୟରେ ୧ ଶହରୁ ଅଧିକ ଚେସ୍ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହୋଇଛି। ଆମର ଲକ୍ଷ୍ୟ ହାସଲ ପାଇଁ ଆମେ ଫିଡେ ସହ ମିଶି କାମ କରିବାକୁ ଆଗ୍ରହୀ।
ବିଶ୍ୱ ଚେସ୍ ସମୁଦାୟ ପ୍ରତି ଅତୁଟ ସମର୍ଥନ ପାଇଁ ପରିଚିତ ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡ ଉପାଧ୍ୟକ୍ଷ ଡାନା ରିଜନିସ୍ ଓଜୋଲା, ମୁଖ୍ୟମନ୍ତ୍ରୀ ଏବଂ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଦିଗରେ ଓଡ଼ିଶା ପକ୍ଷରୁ  ନିରନ୍ତର ଭାବେ କରାଯାଉଥିବା ପ୍ରୟାସକୁ ପ୍ରଶଂସା କରିଥିଲେ।